*କୋମନାରେ ଜିଲ୍ଲାପାଳ-ଏସ୍ପିଙ୍କ ଯୁଗ୍ମ ଜନଶୁଣାଣି: ୪୦ ଅଭିଯୋଗ ପଞ୍ଜୀକୃତ, ରୋଗୀଙ୍କୁ ଆର୍ଥିକ ସହାୟତା*
ନୂଆପଡ଼ା(ମିଖାଏଲ ନନ୍ଦ)
ତା. ୨୬/୧୦:
ଜନସାଧାରଣଙ୍କ ଅଭିଯୋଗର ତ୍ୱରିତ ସମାଧାନ ଏବଂ ପ୍ରଶାସନିକ ସେବାକୁ ଅଧିକ ଲୋକାଭିମୁଖୀ କରିବା ଉଦ୍ଦେଶ୍ୟରେ ଆଜି ନୂଆପଡ଼ା ଜିଲ୍ଲାର କୋମନା ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଅନ୍ୟା ଦାସଙ୍କ ଅଧକ୍ଷତାରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି ଶିବିରରେ ମୋଟ ୪୦ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ୨୯ଟି ବ୍ୟକ୍ତିଗତ ଓ ୧୧ଟି ଗୋଷ୍ଠୀଗତ ଅଭିଯୋଗ ରହିଥିଲା। ଜିଲ୍ଲାପାଳ ଜନସାଧାରଣଙ୍କ ଠାରୁ ସମସ୍ୟା ଶୁଣିବା ସହ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଅଭିଯୋଗଗୁଡ଼ିକର ତ୍ୱରିତ ଓ ଉପଯୁକ୍ତ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ।
ଏହି ଅବସରରେ କୋମନା ବ୍ଲକ ଅନ୍ତର୍ଗତ ଜଡ଼ାମୁଣ୍ଡା ଗ୍ରାମର ଯଦୁମଣି ରାଉତଙ୍କ ପୁଅଙ୍କ ଚିକିତ୍ସା ନିମନ୍ତେ ରେଡକ୍ରସ ପାଣ୍ଠିରୁ ୨୦ ହଜାର ଟଙ୍କାର ଆର୍ଥିକ ସହାୟତା ଚେକ ମାଧ୍ୟମରେ ପ୍ରଦାନ କରାଯାଇଥିଲା।
ଜନସାଧାରଣଙ୍କ ସ୍ୱାସ୍ଥ୍ୟସେବାକୁ ଗୁରୁତ୍ୱ ଦେଇ ଶିବିର ପରିସରରେ ବରିଷ୍ଠ ନାଗରିକଙ୍କ ପାଇଁ ଏକ ସ୍ୱାସ୍ଥ୍ୟ ଶିବିର ସହ ଆୟୁଷ୍ମାନ ଆରୋଗ୍ୟ ଶିବିର ମଧ୍ୟ ଆୟୋଜନ କରାଯାଇଥିଲା।
ଏହି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜିତ ନାୟକ, ବନଖଣ୍ଡ ଅଧିକାରୀ (ପ୍ରାନ୍ତୀୟ) ଅଜିଜ ଖାଁ, ବନଖଣ୍ଡ ଅଧିକାରୀ (ବନ୍ୟପ୍ରାଣୀ) ସମୀର ସାହୁ, ଉପଜିଲ୍ଲାପାଳ ସୁର୍ମି ସୋରେନ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଇଶାନୀ ମିତ୍ର, କୋମନା ବ୍ଲକ ଅଧ୍ୟକ୍ଷା ଅନୁସୂୟା କୁମ୍ଭାର ଓ ଉପାଧ୍ୟକ୍ଷ ଜୟଦେବ ପ୍ରଧାନଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ ଜନପ୍ରତିନିଧି ଉପସ୍ଥିତ ଥିଲେ।
ଡେପୁଟି କଲେକ୍ଟର ଶେଖ ନସୀମ ଓ ରୋଶନ କୁମାର ଜେନା ଏବଂ କୋମନା ବିଡିଓ ପବିତ୍ର କୁମାର ସାମଲ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ଏଥିରେ ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ, ଲାଇନ୍ ବିଭାଗର ଅଧିକାରୀ, ବ୍ଲକସ୍ତରୀୟ ଅଧିକାରୀ ଓ କର୍ମଚାରୀଙ୍କ ସମେତ ଗଣମାଧ୍ୟମ ପ୍ରତିନିଧିମାନେ ଯୋଗଦେଇଥିଲେ।
ପରିବର୍ଦ୍ଧିତ ଜଣ ଶୁଣାଣି
ଏହି ଅବସରରେ ପେଣ୍ଡରାବନ ଓ କୋନାବିରା ଗ୍ରାମ ପଞ୍ଚାୟତରେ ପରିବର୍ଦ୍ଧିତ ଜନଶୁଣାଣି ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ଅନ୍ୟା ଦାସ ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କ ସହ ଆଲୋଚନା କରି ସେମାନଙ୍କ ସମସ୍ୟା ଓ ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ। ଏଥିସହ ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକର ଆୟବୃଦ୍ଧି ଓ ଆର୍ଥିକ ସଶକ୍ତୀକରଣ ଦିଗରେ ଅଧିକ ଉଦ୍ୟମ କରିବାକୁ ସେ ଗୁରୁତ୍ୱାରୋପ କରିଥିଲେ।
ଏହି ଅବସରରେ ଜିଲ୍ଲାସ୍ତରୀୟ ଅଧିକାରୀମାନେ ବିଭିନ୍ନ ସରକାରୀ ଯୋଜନା ଓ ଏହାର ସୁଫଳ ଲୋକଙ୍କ ନିକଟରେ ପହଞ୍ଚାଇବା ସମ୍ପର୍କରେ ଅବଗତ କରାଇଥିଲେ।
କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲ୍ଲାପାଳ ସୁର୍ମି ସୋରେନ, କୋମନା ବିଡିଓ ପବିତ୍ର କୁମାର ସାମଲଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ ଓ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ।
